Categories
ଆଜିର ଖବର ଜାତୀୟ ଖବର

ହଥରସ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ: ସହାୟତା ଘୋଷଣା

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ହଥରସ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାର ଆହତମାନଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତ ମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଉତ୍ତର ପ୍ରଦେଶର ହଥରସରେ ହୋଇଥିବା ଦୁର୍ଘଟଣା ଅତ୍ୟନ୍ତ ପୀଡ଼ାଦାୟକ। ଦୁର୍ଘଟଣାରେ ଯେଉଁମାନେ ନିଜ ସମ୍ପର୍କୀୟଙ୍କୁ ହରାଇଛନ୍ତି ସେମାନଙ୍କ ପାଇଁ ମୋର ଗଭୀର ସମବେଦନା। ଏହି ଘଡ଼ିସନ୍ଧି ସମୟରେ ଭଗବାନ ସେମାନଙ୍କୁ ସାହାସ ଦିଅନ୍ତୁ। ଏଥିସହ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଆଶୁ ଆରୋଗ୍ୟ କାମନା କରୁଛି। ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପ୍ରଭାବିତଙ୍କୁ ଯଥାସମ୍ଭବ ସହାୟତା କରୁଛି: ପ୍ରଧାନମନ୍ତ୍ରୀ @narendramodi”

“ଉତ୍ତର ପ୍ରଦେଶର ହଥରସ ଦୁର୍ଘଟଣାରେ ପ୍ରଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଘୋଷଣା କରାଯାଇଛି।”

Categories
ଆଜିର ଖବର ଜାତୀୟ ଖବର

ଉତ୍ତରାଖଣ୍ଡ ବସ୍ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ସହାୟତା ଘୋଷଣା

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗଠାରେ ଏକ ବସ୍ ଦୁର୍ଘଟଣାରେ ମୃତାହତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

“ଉତ୍ତରାଖଣ୍ଡରେ ହୋଇଥିବା ସଡ଼କ ଦୁର୍ଘଟଣା ହୃଦୟ ବିଦାରକ। ଦୁର୍ଘଟଣାରେ ପ୍ରିୟଜନଙ୍କୁ ହରାଇଥିବା ଶୋକାକୁଳ ପରିବାରଙ୍କ ପ୍ରତି ମୋର ଗଭୀର ସମବେଦନା। ଏଥିସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା କରୁଛି।: ପ୍ରଧାନମନ୍ତ୍ରୀ”

ବସ୍ ଦୁର୍ଘଟଣାର ପୀଡ଼ିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ମଧ୍ୟ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ପୋଷ୍ଟ ଅନୁସାରେ, ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ।

Categories
ଆଜିର ଖବର ଜାତୀୟ ଖବର

ରାଜସ୍ଥାନରରେ ଟ୍ରାକ୍ଟର ଦୁର୍ଘଟଣାରେ ଜୀବନହାନିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ: ସହାୟତା ଘୋଷଣା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଝୁନଝୁନୁଠାରେ ଟ୍ରାକ୍ଟର ଦୁର୍ଘଟଣାରେ ଜୀବନହାନିକୁ ନେଇ ଶୋକବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ୍‌) ରୁ  ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି ଯେ, ରାଜସ୍ଥାନର ଝୁନଝୁନୁଠାରେ ଟ୍ରାକ୍ଟର ଦୁର୍ଘଟଣାରେ ଦୁଃଖିତ। ମୃତକଙ୍କ ପରିବାରକୁ ସମବେଦନା ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ପିଏମଏନଆରଏଫରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ।

Categories
ବିଶେଷ ଖବର ରାଜ୍ୟ ଖବର

ମିଶନ ଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍‌ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବା ସହିତ ସେମାନଙ୍କୁ ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି  ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ମିଶନ ଶକ୍ତି ହେଉଛି, ଓଡିଶାର ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଅନୁଷ୍ଠାନ। ଏହା ହେଉଛି ଓଡିଶାର ବିକାଶ ବାହିନୀ। ସେମାନଙ୍କ ଦକ୍ଷତା ଉପରେ ଆସ୍ଥାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି।’

କୋଭିଡ ସମୟରେ ମିଶନ ଶକ୍ତିର ମା ମାନେ ବହୁତ ଭଲ କାମ କରିଛନ୍ତି ବୋଲି କହି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇ କହିଲେ ଯେ ଆଜି ହେଉଛି ଏକ ଐତିହାସିକ ଦିବସ। ବ୍ଲକ୍‌ସ୍ତରରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ ଏବଂ ସେମାନଙ୍କ ନିଜସ୍ବ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ପର୍ଯ୍ୟାଲୋଚନା କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ମା ମାନେ କୋଭିଡ ସମୟରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଚାଳନା ଠାରୁ ଆରମ୍ଭ କରି ମାସ୍କ ତିଆରି, ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଆଦି ଅନେକ ଭଲ କାମ କରି ମିଶନ ଶକ୍ତି ଆନ୍ଦୋଳନର ସୁନାମ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ, ‘ମୁଁ ସବୁବେଳେ କହି ଆସିଛି, ମା ସଶକ୍ତ ହେଲେ, ପରିବାର ସଶକ୍ତ ହେବ। ସମାଜ ସଶକ୍ତ ହେବ । ଗୋଟିଏ ଜାତି ସଶକ୍ତ ହେବ। ଇତିହାସର ଧାରା ମଧ୍ୟ ବଦଳିଯିବ।’

ମିଶନ ଶକ୍ତିର ମା ମାନଙ୍କ ସଫଳତା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜୀବନଜୀବିକା ଠାରୁ ଆରମ୍ଭ କରି ବିଭିନ୍ନ ବିକାଶ କାମରେ ଆପଣମାନେ ସାମିଲ ହୋଇ ଭଲ କାମ କରିଛନ୍ତି। ଆଜିର ଆଲୋଚନାରେ ରାଜ୍ୟର ବିଭିନ୍ନ ଅଞ୍ଚଳର – କୋରାପୁଟର ବୋରିଗୁମା ଠାରୁ ଆରମ୍ଭ କରି କଟକର ନିଆଳୀ ପର୍ଯ୍ୟନ୍ତ, ଆମର ବ୍ଳକ୍‌ସ୍ତରୀୟ ମହାସଂଘର ମା ମାନଙ୍କର କାମ ଦେଖି ଯେ କେହି ଗର୍ବ ଅନୁଭବ କରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ସେ କହିଥିଲେ ଯେ ‘ମୋର ବିଶ୍ବାସ, ଦିନେ ଆପଣମାନଙ୍କ ଭିତରୁ ବଡ ବଡ ଉଦ୍ୟୋଗୀ ବାହାରିବେ।’

ରାଜ୍ୟ ସରକାର ବ୍ଲକ ଲେବୁଲ ଫେଡେରେସନର ଆବର୍ତ୍ତନ ପାଣ୍ଠି ଭାବରେ ୮୪.୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ମିଶନ ଶକ୍ତିର ମା ମାନଙ୍କୁ ରାଜ୍ୟ ସରକାର ବିନା ସୁଧରେ ଋଣ ଦେଉଛନ୍ତି। ଗତ ବର୍ଷ ସୁଧ ରିହାତି ଭାବରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କା ଦେଇଥିବା ବେଳେ, ଏବର୍ଷ ଏହାକୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ସେ ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ ମହିଳା ଶିଶୁବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ମିଶନ ଶକ୍ତିର ମହିଳା ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରି କହିଥିଲେ ଯେ ଯେ କୌଣସି ବ୍ୟବସାୟ ପାଇଁ ପୁଞ୍ଜି ଯୋଗାଣ ସଞ୍ଜୀବନୀ ପରି କାର୍ଯ୍ୟ କରେ। ମହିଳା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ଆବର୍ତ୍ତନ ପାଣ୍ଠି କରିଛନ୍ତି, ତାହା ମିଶନ ଶକ୍ତିକୁ ସ୍ବାବଲମ୍ବୀ କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ମିଶନ ଶକ୍ତି ମା ମାନଙ୍କ ପାଇଁ ଏକ ସୁବର୍ଣ୍ଣ ଯୁଗ ଆଣିଛି ବୋଲି ସେମାନେ ମତ ଦେଇଥିଲେ।

କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଏବଂ ମିଶନ ଶକ୍ତିର ଉପଦେଷ୍ଟା ଡଃ ଲୋପାମୁଦ୍ରା ବକ୍‌ସିପାତ୍ର ପ୍ରମୁଖ ସେମାନଙ୍କର ମତାମତ ରଖି କହିଥିଲେ ଯେ ମିଶନ ଶକ୍ତି ଆଜି ମା ମାନଙ୍କ ସାମାଜିକ ଅର୍ଥନୈତିକ ପରିବର୍ତ୍ତନରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଭଳି ଏକ ନୀରବ ବିପ୍ଲବ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପର୍ଣ୍ଣ ନେତୃତ୍ବରେ ସେମାନେ ଉଚ୍ଚପ୍ରଶଂସା କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୟୁରଭଂଜ ମୋରଡା ମିଶନ ଶକ୍ତି ମହାସଂଘର ଅଧ୍ୟକ୍ଷା ବିଷ୍ଣୁପ୍ରିୟା ଦାସ, କଟକ କଣ୍ଟାପଡା ମିଶନ ଶକ୍ତି ମହାସଂଘର ସଂପାଦିକା ବିଷ୍ଣୁପ୍ରିୟା ପାତ୍ର, ସମ୍ବଲପୁର ନାକଟିଦେଉଳ ମିଶନ ଶକ୍ତି ମହାସଂଘର ସଂପାଦିକା ଗୀତାଞ୍ଜଳି ପ୍ରଧାନ, କୋରାପୁଟ ନନ୍ଦପୁର ମିଶନ ଶକ୍ତି ମହାସଂଘର ସଂପାଦିକା ହେମଲତା ପ୍ରଧାନ ଓ ଢେଙ୍କାନାଳ ଗଁଦିଆ ମିଶନ ଶକ୍ତି ମହାସଂଘର ସଂପାଦିକା ନିର୍ମଳା ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରି ଏହି ସ୍ବତନ୍ତ୍ର ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ସମସ୍ତେ ଆଜି ନିଜର ପରିଚୟ ପାଇପାରିଛୁ। ମୁଖ୍ୟମନ୍ତ୍ରୀ ଆମ ମାନଙ୍କ ପାଖରେ, ଆମ ସୁଖଦୁଃଖରେ ସବୁବେଳେ ଠିଆ ହୋଇଛନ୍ତି। ତେଣୁ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଆମେ କୃତଜ୍ଞ। ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ।

ଏହି ଅବସରରେ ବ୍ରହ୍ମପୁର, ଢେଙ୍କାନାଳ ଓ ବାରିପଦାର ୩ଟି ସ୍ବୟ ସହାୟକ ଗୋଷ୍ଠୀ ମାନଙ୍କୁ ଆଚାର ବ୍ୟବସାୟ ପାଇଁ HDFC Bank ତରଫରୁ ଏକକାଳୀନ ୪୭ ଲକ୍ଷ ଟଙ୍କାର ଋଣ ଦିଆଯାଇଥିଲା। ସୂଚନାଯୋଗ୍ୟ ଯେ ସେମାନଙ୍କ ଦ୍ବାରା ଉତ୍ପାଦିତ ୧୨୦ ମେଟ୍ରିକ ଟନ୍ ଆଚାର ମିଶନ ଶକ୍ତି ଦ୍ବାରା ପରିଚାଳିତ ରାଜ୍ୟର ୧୭୭ଟି ଆହାର କେନ୍ଦ୍ରରେ ବ୍ୟବହାର ହେଉଛି।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ନିଜର ସ୍ବାଗତ ଭାଷଣ ରଖି ମିଶନ ଶକ୍ତିର କମିଶନର ତଥା ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ କହିଲେ ଯେ ଗୋଟିଏ ଯୋଜନାକୁ ଏକ ସ୍ବତନ୍ତ୍ର ବିଭାଗ ଭାବରେ କାର୍ଯ୍ୟକାରୀ କରିବାରେ ଓଡିଶା ହେଉଛି ସାରା ଭାରତବର୍ଷରେ ଏକମାତ୍ର ରାଜ୍ୟ। ଏଥିରୁ ମହିଳା ମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ କେତେ ଗୁରୁତ୍ବ ଦେଉଛନ୍ତି, ତାହା ଅନୁମେୟ।

ସୂଚନାଯୋଗ୍ୟ ଯେ ଗତ ଦୁଇ ବର୍ଷରେ ମିଶନ ଶକ୍ତିର ବିଭିନ୍ନ ସ୍ବୟ ସହାୟକ ଗୋଷ୍ଠୀ ମାନଙ୍କ ଠାରୁ ୨୮୦୦ କୋଟି ଟଙ୍କାର ବିଭିନ୍ନ ଦ୍ରବ୍ୟ ଓ ସେବା କ୍ରୟ କରାଯାଇଛି। ସେ କହିଥିଲେ ଯେ ୨୦୨୧-୨୨ ବର୍ଷ ପାଇଁ ମିଶନ ଶକ୍ତିର ମା ମାନଙ୍କ ପାଇଁ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି।

ମିଶନ ଶକ୍ତିର ନିର୍ଦ୍ଦେଶିକା ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା ରହିଛି। ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

ଆଜି କେନ୍ଦୁପତ୍ର କଲ୍ୟାଣ ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଭିଡିଓ କନ୍‌ଫରେନସିଂ ଜରିଆରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତା କରିଥିଲେ।  କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତ ବର୍ଷ ବୋନସ୍‌, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୁମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛି।

କେନ୍ଦୁପତ୍ର ସଂଗ୍ରହ, ବନ୍ଧେଇ ଓ ପ୍ରକ୍ରିୟାକରଣ କାର୍ଯ୍ୟରେ ସାଧାରଣତଃ ଗରିବ ଲୋକମାନେ ନିୟୋଜିତ ହୋଇଥାନ୍ତି। ସେମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ ଉଦ୍ୟମ ଜାରି ରଖିଛନ୍ତି। ୨୦୧୪ ମସିହାରେ ଏକ ଐତିହାସିକ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳୀମାନଙ୍କୁ ସାମିଲ କରିଛନ୍ତି।

କୋଭିଡ୍‌ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିପାରିଥିଲା। ଏହା ଦ୍ବାରା ୭ ଲକ୍ଷ ୫୪ ହଜାରେ ୬୩୧ କେନ୍ଦୁପତ୍ର ତୋଳାଳୀ, ୧୮୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬୫୩୩ ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି। ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଡିବିଟି ଜରିଆରେ ପଇଠ କରାଯାଇଛି।

ଏହି ବୈଠକରେ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ଏବଂ ପୁର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପ୍ରମୁଖ ଯୋଗ ଦେଇ ସେମାନଙ୍କର ମତାମତ ରଖିଥିଲେ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (କେନ୍ଦୁପତ୍ର) ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା ରଖିଥିଲେ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ଓ ପରିବେଶ ଡ. ମୋନା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଭି.କେ. ପାଣ୍ଡିଆନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।