Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଡରାଇଲାଣି ସୁବର୍ଣ୍ଣରେଖା ଓ ବୈତରଣ ନଦୀ, ଆସନ୍ତା ଦୁଇଦିନ ବଡ ଗୁରୁତ୍ବପୂର୍ଣ୍ଣ

ଭୁବନେଶ୍ବର: ରାଜ୍ୟରେ ସୁବର୍ଣ୍ଣରେଖା ଓ ବୈତରଣ ନଦୀରେ ଅଧିକ ଜଳପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଆଜି ପୂର୍ବାହ୍ଣରେ ସ୍ଥିତି ସମୀକ୍ଷା କରିଛନ୍ତି। ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଅର୍ଚ୍ଚନା ପଟ୍ଟନାୟକ, ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ,ସୁବର୍ଣ୍ଣରେଖା ଜଳସେଚନ ଡିଭିଜନର ମୁଖ୍ୟଯନ୍ତୀ,ବାଲେଶ୍ୱର ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ,ଜଳ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଓ ଯନ୍ତ୍ରୀମାନ ଉପସ୍ଥିତ ଥିଲେ।

ବନ୍ୟା ପରିପ୍ରେକ୍ଷୀରେ ବିଭାଗ ପକ୍ଷରୁ ପ୍ରସ୍ତୁତିକୁ ଅଧିକ ବ୍ୟାପକ କରିବା ନେଇ ମନ୍ତ୍ରୀ ଶ୍ରୀମତୀ ସାହୁ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଆଲୋଚନା ଅନୁସାରେ ଆଜି ସକାଳ ସୁଦ୍ଧା ଝାଡଖଣ୍ଡର ଗାଲୁଡିହ ଜଳଭଣ୍ଡାରରୁ ୧୬ ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଫଳରେ ଓଡିଶାରେ ସୁବର୍ଣ୍ଣରେଖା ନଦୀରେ ଆଜି ସଂଧ୍ୟାରୁ ଆସନ୍ତା କାଲି ୧୦ ଟା ଭିତରେ ଜଳସ୍ତର ବୃଦ୍ଧି ପାଇବ ଓ ସେଥି ଯୋଗୁଁ ବଡ ଧରଣର ବନ୍ୟାର ସମ୍ଭାବନା ରହିଛି। ଫଳରେ ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର, ଭୋଗରାଇ, ବାଲିଆପାଳ ଓ ବସ୍ତା ଅଂଚଳ ପ୍ରଭାବିତ ହେବ।

ମନ୍ତ୍ରୀ ଶ୍ରୀମତୀ ସାହୁ କହିଛନ୍ତି ଯେ, ଆଗାମୀ ଦୁଇ ଦିନ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବିଭିନ୍ନ ନଦୀବନ୍ଧ ଦାୟିତ୍ୱରେ ଥିବା ଅଧିକାରୀ ଓ ଯନ୍ତ୍ରୀମାନେ ସତର୍କ ରହି ନିୟମିତ ତଦାରଖ କରନ୍ତୁ। ମୁଖ୍ୟମନ୍ତ୍ରୀ ସବୁବେଳେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ଜଳ ସଂପଦ ବିଭାଗର ଅଧିକାରୀ, କ୍ଷେତ୍ର ସ୍ତରରେ ଥିବା ଯନ୍ତ୍ରୀ ଓ କର୍ମଚାରୀ ଭାବେ ଅଧିକ ଚଳ ଚଞ୍ଚଳ ରହି ବନ୍ୟା ମୁକାବିଲା କରିବାକୁ ପରାମର୍ଶ ଦେଇଛନ୍ତି।

ସମ୍ଭାବ୍ୟ ବନ୍ୟା ପରିପ୍ରେକ୍ଷୀରେ ଜନସାଧାରଣ ଭୟଭୀତ ନହେବାକୁ ଅନୁରୋଧ କରିବା ସହ ନଦୀଗୁଡିକରେ ବିଭିନ୍ନ ସମୟରେ ଜଳସ୍ତର ଓ ଜଳପ୍ରବାହ ସଂପର୍କରେ ସଠିକ ସୂଚନା ପ୍ରଦାନ କରିବାକୁ ମନ୍ତ୍ରୀବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ପଟ୍ଟନାୟକ କହିଛନ୍ତି ଯେ, ସବୁ ସମୟରେ ସଂପୃକ୍ତ ଜିଲ୍ଲାପାଳମାନଙ୍କ ସହିତ ଯୋଗାଯୋଗ କରାଯାଉଛି। ବନ୍ୟା ମୁକାବିଲା ପାଇଁ ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାରେ ବରିଷ୍ଠ ଓ ଅଭିଜ୍ଞ ଅଧିକାରୀ ତଥା ଯନ୍ତ୍ରୀମାନଙ୍କୁ ପଠାଯାଇଛି ଓ ସେମାନେ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରଖି ବନ୍ୟାସ୍ଥିତି ଅନୁଧ୍ୟାନ କରି ବନ୍ୟା ପରିଚାଳନା କରୁଛନ୍ତି।

Categories
ବିଶେଷ ଖବର

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହାସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଆଜି ମୟୁରଭଞ୍ଜର ରାସଗୋବିନ୍ଦପୁରସ୍ଥିତ ଟିକପଦା ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପ ଲୋକାର୍ପିତ କରି କହିଛନ୍ତି ଯେ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି। ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି। ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶ ବିତେଶରେ ସୁନାମ କରିପାରୁଛନ୍ତି ବୋଲି ସେ କହିଥିଲେ।

ଆଜି ଲୋକାର୍ପିତ ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ୧୭,୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ। ଏହାଦ୍ବାରା ଉଭୟ ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ। ଏତିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ସୂଚନାଯୋଗ୍ୟ ଯେ ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ରକଳ୍ପ। ଏହାଦ୍ବାରା ସମୁଦାୟ ୭୦ ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି।

ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ଏହାଦ୍ବାରା ୧୦୦ଟି ଗାଁର ଦୁଇ ଲକ୍ଷ ଲୋକ ଉପକୃତ ହେବେ। ଏଥିପାଇଁ କରଞ୍ଜିଆ ବ୍ଲକ୍‌ର ହାତୀବାରି ଠାରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି।

କୃଷି, ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ବିକାଶ ଓ କଲ୍ୟାଣ ମୂଳକ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକଙ୍କୁ ସଶକ୍ତ କରିଛି ଏବଂ ଲୋକଙ୍କ ଆଦର ଲାଭ କରିଛି।

୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ବାସ ବୃଦ୍ଧି କରିଛି। ଯେତେବେଳେ ମୟୁରଭଞ୍ଜର ଗୋଟିଏ ପିଲାଟିଏ ଗାଁ ସ୍କୁଲରେ ବିଶ୍ବସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ସେ ପିଲା ନୁହେଁ, ବା ଗାଁ ନୁହେଁ, ସାରା ଓଡିଶାର ଆଗକୁ ବଢିବାର ଚିତ୍ର ସ୍ପଷ୍ଟ ହେଉଛି ବୋଲି ସେ କହିଥିଲେ।

ମୟୁରଭଞ୍ଜର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସାରା ଭାରତରେ ମୟୁରଭଞ୍ଜର ଏକ ସ୍ବତନ୍ତ୍ର ପରିଚୟ ରହିଛି। ମୟୁରଭଞ୍ଜର ଜନଜାତି ଭାଇଭଉଣୀ ମାନଙ୍କର ଏକ ସମୃଦ୍ଧ ପରମ୍ପରା ରହିଛି। ସେ ଗୌରବକୁ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁଜୀ ଆହୁରି ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ତାଙ୍କ ପାଇଁ ଆମେ ସମସ୍ତେ ଗର୍ବିତ ବୋଲି ସେ କହିଥିଲେ।

ମୟୁରଭଞ୍ଜ ରାଜ୍ୟର ଏକ ବଡ ଓ ଗୁରୁତ୍ବପୂର୍ଣ୍ଣ ଜିଲ୍ଲା ବୋଲି ମତ ଦେଇ ସେ କହିଲେ ଯେ ରାଜ୍ୟର ବିକାଶର ମୟୁରଭଞ୍ଜର ସ୍ବତନ୍ତ୍ର ଅବଦାନ ରହିଛି। ସମସ୍ତେ ମିଶି ଜିଲ୍ଲାର ଓ ସାରା ରାଜ୍ୟର ବିକାଶ ପାଇଁ ହାତ ମିଳାଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ମୋରଡା ବିଧାୟକ ରାଜକିଶୋର ଦାସ, ବାଙ୍ଗରିପୋଷି ବିଧାୟକ ସୁଦାମ ମାର୍ଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପରିଷଦ ସଭାପତି ଭାରତୀ ହାଂସଦା ପ୍ରମୁଖ ବକ୍ତବ୍ୟ ରଖି ମୟୁରଭଞ୍ଜର ଚାଷୀ ମାନଙ୍କ ପାଇଁ ଏହି ଦୁଇଟି ପ୍ରକଳ୍ପର ଗୁରୁତ୍ବ ବିଷୟରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ସବୁଠାରୁ ଲୋକପ୍ରିୟ ଓ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବୋଲି ବର୍ଣ୍ଣନା କରି ଓଡିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ତାଙ୍କୁ ସମସ୍ତଙ୍କ ପ୍ରିୟଭାଜନ କରିପାରିଛି ବୋଲି ସେମାନେ ମତ ଦେଇଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ମୟୁରଭଂଜର ୯୪ଟି ଗାଁର ୧୫ ହଜାର ହେକ୍ଟର ଜମିକୁ ଗଲା ସୁବର୍ଣ୍ଣରେଖା ପାଣି, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ଵାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ ରାସଗୋବିନ୍ଦପୁର ବ୍ଲକର ୯୪ଟି ଗ୍ରାମର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆଜି ମୟୂରଭଞ୍ଜ ଜିଲ୍ଲା ଓ ସାରା ଓଡିଶା ପାଇଁ ଏକ ଆନନ୍ଦର ଦିନ। ଏହା ଦ୍ଵାରା ମୟୂରଭଞ୍ଜରେ ଜମିରେ ସୁନାର ଫସଲ ଫଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଦ୍ଵାରା ମୟୂରଭଞ୍ଜ ଓ ବାଲେଶ୍ଵରର ୧.୦୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୟୂରଭଞ୍ଜ ତାଙ୍କ ପାଇଁ ସ୍ଵତନ୍ତ୍ର ଗୁରୁତ୍ଵ ବହନ କରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୟୂରଭଞ୍ଜରେ ସ୍ୱାସ୍ଥ୍ୟସେବାର ବିକାଶ ହେଉ ବା ମିଶନଶକ୍ତି କାର‌୍ୟ୍ୟର ସଫଳ ରୂପାୟନ ହେଉ ବା ଜନଜାତି ମାନଙ୍କର ବିକାଶ ସବୁ କ୍ଷେତ୍ରରେ ମୟୂରଭଞ୍ଜ ଆଜି ଉନ୍ନତି କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସବୁ ଘରକୁ ସବୁ ପରିବାରକୁ ପାଇପ ପାଣି ଯୋଗାଇବାରେ ଦେଶର ଅଳ୍ପ କେତେକ ଜିଲ୍ଲା ମଧ୍ୟରୁ ମୟୂରଭଞ୍ଜ ଦେଶର ପ୍ରଥମ ଜିଲ୍ଲା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୟୂରଭଞ୍ଜରେ ପାଇପ ପାଣି ପ୍ରକଳ୍ପ ପାଇଁ ୭୬୮ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି ବୋଲି ସେ ସୂଚନା ଦେଇଥିଲେ ।

ଜଳସେଚସନ ରାଜ୍ୟ ସରକାରଙ୍କର ଏକ ପ୍ରଥମିକତା କ୍ଷେତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଖରିଫ ଋତୁ ରୁ ଦେଓ ଜଳସେଚନ ପ୍ରକଳ୍ପରୁ ୧୦ ହଜାର ହେକ୍ଟର ଜମିକୁ ପାଣି ଯୋଗାଇ ଦିଆଯିବ । ଆଗାମୀ ୨-୩ ବର୍ଷ ମଧ୍ୟରେ ପ୍ରାୟ ୧୫ ଟି ଜଳସେଚନ ପ୍ରକଳ୍ପ ସଂପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଜଳ ଏକ ଅମୂଲ୍ୟ ସମ୍ପଦ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହାକୁ ନଷ୍ଟ ନ କରି ଠିକ ଭାବେ ବିନିଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ସରକାର ସବୁବେଳେ ଚାଷୀଙ୍କ ସାଥିରେ ଅଛି ଓ ସେମାନଙ୍କ ଉନ୍ନତି ପାଇଁ କାମ କରୁଛି । କାଳିଆ ଯୋଜନାରେ ୬୭ ଲକ୍ଷ ଚାଷୀ ପରିବାର ଉପକାର ପାଉଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ସରକାରଙ୍କ ବିଭିନ୍ନ କୃଷିକଲ୍ୟାଣ କାଯ୍ୟକ୍ରମ ଯୋଗୁ ଚାଷୀ ଆଜି ସମ୍ମାନର ସହ ବଞ୍ଚି ପାରୁଛି। ଚାଷୀକୁ ତାର ହକ ଦେବା ଆମର ଲକ୍ଷ ଏବଂ ଚାଷୀର ହକ ମିଳିଲା ପର‌୍ୟ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ , ଆଇନ , ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ମୟୂରଭଞ୍ଜର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଉଛନ୍ତି । ଆଜିର ପ୍ରକଳ୍ପ ଦ୍ଵାରା ୨୦୨୪ ଜାନୁଆରୀ ସୁଧା ଜିଲ୍ଲାର ୭୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ ବୋଲି ସେ କହିଥିଲେ । ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ରାଜ୍ୟରେ ଜଳସେଚନ ପାଇଁ ବିଭାଗ ର ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭି.କେ. ପାଣ୍ଡିଆନ କାଯ୍ୟକ୍ରମର ପରିଚାଳନା କରିଥିଲେ ।
ମୟୂରଭଞ୍ଜ ଜିଲ୍ଲାପାଳ ସ୍ଵାଗତ ଭାଷଣ ଦେଇଥିଲେ ଏବଂ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ମୁଖ୍ୟ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । କାଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ଏବଂ ଜଳସଂପଦ ବିଭାଗ ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଉପସ୍ଥିତ ଥିଲେ ।