କେଦାର ମିଶ୍ର
ଇଂରାଜୀରେ ଗୋଟେ ପଦ ଅଛି- ଡ଼ିଜାଷ୍ଟର ଟୁରିଜମ ବା ବିପର୍ୟୟ ପର୍ୟଟନ। କୌଣସି ବନ୍ୟା, ବାତ୍ୟା, ଦୁର୍ଭିକ୍ଷ ବା ମହାମାରୀ ଭଳି ସ୍ଥିତି ଆସିଲେ ଉକ୍ତ ଘଟନା ପ୍ରତି ସଂବେଦନଶୀଳ ହେବା ପରିବର୍ତ୍ତେ ଏହାକୁ ଖବର ର ଏକ ନାଟକୀୟ ପ୍ୟାକେଜ ଭାବରେ ବ୍ୟବହାର କରିବାର ଚଳଣି ଆମ ସମୟରେ ଗଣମାଧ୍ୟମରେ ବେଶ ପରିଚିତ। ଆମ ସାମ୍ବାଦିକମାନେ ପ୍ରାକୃତିକ ବିପର୍ୟୟ ସମୟରେ ଘଟୁଥିବା ମାନବୀୟ ସଙ୍କଟ ଅପେକ୍ଷା ଏହାର ରାଜନୈତିକ ଦିଗ ପ୍ରତି ଟିକେ ଅଧିକ ଆଗ୍ରହୀ। ଯେ କୌଣସି ବାତ୍ୟାର ରିପୋର୍ଟିଂ କରୁଥିବା ସାମ୍ବାଦିକଙ୍କୁ ଦେଖିଲେ ଆମର ମନେହେବ, ସତେକି ସେ ଜଣେ ଦୁଃସାହସୀ ଖେଳାଳୀ। ଅବଶ୍ୟ ଏଥିରେ ବିଲକୁଲ ଦ୍ଵିମତ ହେବାର ନାହିଁ ଯେ, ୨୦୦ ବା ୩୦୦ ମିଟର ପବନ ଆଗରେ କ୍ୟାମେରା ଧରି ଠିଆ ହେବା କିଛି କମ ସାହସର କଥା ନୁହଁ। ଅନେକ ସମୟରେ ଆମର ଗଣମାଧ୍ୟମ ଏ ପ୍ରକାର ଗ୍ରାଉଣ୍ଡ ଜିରୋ ରିପୋର୍ଟ ମାଧ୍ୟମରେ ଲୋକଙ୍କୁ ବଡ ସାହାଯ୍ୟ ମଧ୍ୟ ଦେଇଛନ୍ତି। ତେବେ ରିପୋର୍ଟିଂ ଓ ନାଟକୀୟତା ଭିତରେ ଗୋଟେ ମୌଳିକ ପାର୍ଥକ୍ୟ ରହିଛି ବୋଲି ଆମର ସାମ୍ବାଦିକ ବନ୍ଧୁମାନେ ଭୁଲି ଯାଆନ୍ତି।
ଏକଥା କହିଲା ବେଳେ ମୁଁ ଆପଣଙ୍କୁ କହିବାକୁ ଚାହେଁ ଯେ, ଗତ ଦୁଇଦିନ ଭିତରେ ହଠାତ ଆଳୁର ଦର କିଲୋ ପିଛା ତିନି ଟଙ୍କା ବଢି ଯାଇଛି, ତାର ଏକମାତ୍ର କାରଣ ହେଉଛି, ସମ୍ଭାବ୍ୟ ବାତ୍ୟା “ଫନି”। ଶୁଣାଯାଉଛି, ଭୀଷଣରୁ ଭୀଷଣ ବାତ୍ୟାର ରୂପ ନେଇ ବାତ୍ୟା “ଫନି” ସ୍ଥଳଭାଗକୁ ଅଗ୍ରସର ହେଉଛି। ପ୍ରଥମେ ଏହା ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଉପକୂଳରେ ପଡିବ ବୋଲି ଆଶା କରାଯାଉଥିଲା। ପରେ କୁହାଗଲା, ଏହା ଓଡିଶା ଉପକୂଳରେ ସାତପଡା ଓ ବାଲେଶ୍ଵର ମଝିରେ ସ୍ଥଳଭାଗ ସ୍ପର୍ଶ କରିପାରେ। ଶେଷ ଖବର ମୁତାବକ ଏହା ପୁରୀର କୃଷ୍ଣ ପ୍ରସାଦରେ ସ୍ଥଳଭାଗ ଛୁଇଁ ପାରେ। ତେବେ ବାତ୍ୟା “ମାଡି ଆସୁଛି” ବୋଲି ଏକ ପ୍ରକାର ଆତଙ୍କ ଏବେ ଆମ ଲୋକଙ୍କୁ ଘାରିଛି। ଲୋକଙ୍କୁ ବାତ୍ୟା ସମ୍ପର୍କରେ ସୂଚନା ଦେବାକୁ ଯାଇ ଆମେ ଯେଉଁ ଭାଷାର ପ୍ରୟୋଗ କରୁ, ତାହା ଅନେକାଂଶରେ ଲୋକଙ୍କୁ ଆତଙ୍କିତ ଓ ଆବଶ୍ୟକତାଠାରୁ ଅଧିକ ଭୟାଳୁ କରିଦିଏ।
ବାତ୍ୟା ସମୟରେ ସଜାଗ, ସତର୍କ ଓ ନିର୍ଭୟ ରହିବା ସବୁଠୁ ବଡ ଆବଶ୍ୟକତା। ତେବେ ଆମର ଗଣମାଧ୍ୟମର ଭାଷାରେ ଏତେ ଅଧିକ ନାଟକୀୟତା ଥାଏ ଯେ, ଟିଭି ଦେଖି ବା ଖବର କାଗଜ ପଢି ହଠାତ ଆମେ କୁଇଣ୍ଟାଲେ ଆଳୁ ବା ମହଣେ ଚୂଡା କିଣିବାକୁ ବାହାରିପଡୁ। ଅନେକ ସମୟରେ କଳାବଜାରୀ ଓ ଲାଭଖୋର ବେପାରୀ ଏହାର ଫାଇଦା ଉଠାନ୍ତି। ମୋର ଏବେବି ମନେ ଅଛି, ଫାଇଲିନ ବାତ୍ୟା ସମୟରେ ମହମବତୀ ଗୋଟାକୁ ପଚିଶ ଟଙ୍କାରେ ବିକ୍ରି ହେଲା। ଗଣମାଧ୍ୟମର ଚର୍ଚ୍ଚା ଶୁଣି ଲୋକ ଛାନିଆ ହୋଇପଡିଲେ। ଏଠି ଗଣମାଧ୍ୟମକୁ ଭାବିବାକୁ ପଡିବ ଯେ, ଲୋକଙ୍କୁ ଛାନିଆ କରିବା ଅପେକ୍ଷା ସେମାନଙ୍କୁ ସତର୍କ କରିବା ଆମର କାମ। ସତର୍କ କରିବାକୁ ଯାଇ ଆମେ ଅଧିକ ନାଟକ କାଲେ, ତାର ପ୍ରଭାବ ଗୋଟେ ବଡ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବ।
ଫାଇଲିନ, ହୁଡହୁଡ ଓ ତିତିଲି ବାତ୍ୟାରୁ ଆମେ ଅନେକ କଥା ଶିଖିବା କଥା, ହେଲେ ଆଜି ବି ଆମେ ପ୍ରତ୍ୟେକ ବାତ୍ୟାର ସମାନ ଆକଳନ କରୁଛୁ। ଗତ ତିନୋଟି ଯାକ ବାତ୍ୟାରେ ବାତ୍ୟା ପତ୍ତନ ଅଞ୍ଚଳ ତୁଳନାରେ ଆଭ୍ୟନ୍ତରୀଣ ଅଞ୍ଚଳରେ ଏହା ଭୟଙ୍କର କ୍ଷତି କରୁଛି। ଆମର ଫୋକସ ବାତ୍ୟା ସମୟ ଅପେକ୍ଷା ବାତ୍ୟା ପରବର୍ତ୍ତୀ ସ୍ଥିତି ଉପରେ ଅଧିକ କେନ୍ଦ୍ରୀଭୂତ ହେବା ଏବେ ଜରୁରୀ ହୋଇ ପଡିଛି। ବାତ୍ୟା ପରବର୍ତ୍ତୀ ଅଚାନକ ବନ୍ୟା ଓ ଭୂ ସ୍ଖଳନ ବିଷୟକୁ ଆମେ ଗୁରୁତ୍ଵ ଦେଇ ବିଚାର କରୁନାହୁଁ। ଏ ପ୍ରସଙ୍ଗରେ ଗଣମାଧ୍ୟମ ଅଧିକ ସଚେତନତା ସୃଷ୍ଟି କରିବା ଜରୁରୀ।
କେବଳ ପବନର ବେଗ ଓ ସରକାରୀ ପ୍ରସ୍ତୁତି କଥା ନକହି, ଆଭ୍ୟନ୍ତରୀଣ ଅଞ୍ଚଳର ସୁରକ୍ଷା ପ୍ରସଙ୍ଗ ମଧ୍ୟ ଆଲୋଚିତ ହେବା ଜରୁରୀ। ରକ୍ଷା ହୋଇଛି, ଇତି ମଧ୍ୟରେ ଓଡିଶାରେ ନିର୍ବାଚନ ସଋ ଯାଇଛି। ନଚେତ ଏହାକୁ ନେଇ ରାଜନୈତିକ ପବନର ବେଗ ବାତ୍ୟାର ବେଗଠୁ ବଳି ଯାଇଥାନ୍ତା। ଏବେ ଅନ୍ତତଃ ସେ ଆଶଙ୍କା ଆଉ ନାହିଁ। ୧୯୯୯ ପରଠୁ ବିପର୍ୟୟ ମୁକାବିଲା କ୍ଷେତ୍ରରେ ଓଡିଶା ସରକାରଙ୍କ ପ୍ରସ୍ତୁତିରେ ବ୍ୟାପକ ପରିବର୍ତ୍ତନ ଆସିଛି। ଆମର ବିପର୍ୟୟ ପରିଚାଳନା ବ୍ୟବସ୍ଥା ସବୁଠୁ ଭଲ ସ୍ଥିତିରେ ରହିଛି। ତଥାପି ତିତିଲି ବାତ୍ୟା ପରେ କନ୍ଧମାଳ, ଗଜପତି ଓ ରାୟଗଡା ଜିଲାର ପାହାଡୀ ଅଞ୍ଚଳରେ ଯେଉଁ ଧାନ ଜୀବନ କ୍ଷୟ ହେଲା, ତାକୁ ରୋକିବା ଲାଗି ସ୍ଵତନ୍ତ୍ର ବ୍ୟବସ୍ଥା ହେବା ନିତାନ୍ତ ଜରୁରୀ।
ଆମେ ଆଶା କରିବା, ଭୟଙ୍କର ଓ ଆତଙ୍କପ୍ରଦ ଖବର ତିଆରି କରିବା ଅପେକ୍ଷା ଆମର ସାମ୍ବାଦିକମାନେ ଏହି ବନ୍ୟାରେ ଆମର ସହଯୋଗୀ ଭାବରେ ଆମ ସହିତ ରହିବେ!
(ମୋବାଇଲରେ ସଂକ୍ଷିପ୍ତ ଖବର ଜାଣିବା ପାଇଁ ଡାଉନଲୋଡ କରନ୍ତୁ SANKHIPTA ଆପ୍, ଏହାପରେ ସ୍କ୍ରିନକୁ ଘଷିଘଷି ପଢିଚାଲନ୍ତୁ ଖବର)