Categories
ଆଜିର ଖବର ରାଜ୍ୟ ଖବର

ଲଘୁଚାପ ଯୋଗୁଁ ରାଜ୍ୟରେ ଆହୁରି ଦୁଇ ଦିନ ଧରି ବର୍ଷିବ, ଆଜି ରାଜ୍ୟର ୧୨ ଜିଲ୍ଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ରାଜ୍ୟର ଅନେକ ସ୍ଥାନରରେ ବର୍ଷା ଆରମ୍ଭ ହୋଇଯାଇଛି । ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି । ଏନେଇ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ କୁମାର ଜେନା ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର । ସେହିପରି ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ମୟୂରଭଞ୍ଜ, ବାଲେଶ୍ବର, ଝାରସୁଗୁଡ଼ା, ବରଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ ଆଦି ଜିଲ୍ଲାରେ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଅଧିକ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।