କେଦାର ମିଶ୍ର
ଜଣେ ବ୍ୟକ୍ତିର ଅହଂକାର ପାଖରେ ଓଡିଶା ଶାଖାର ଭାରତୀୟ ଜନତା ପାର୍ଟି ନିଜକୁ ବନ୍ଧା ପକାଇଦେଇଛି ଓ ସେହି ଲୋକର ଅହଂକାରକୁ ରାଜ୍ୟ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘର ଏକ ନିର୍ଦ୍ଦିଷ୍ଟ ନେତୃତ୍ୱ ପ୍ରୋତ୍ସାହିତ କରୁଛନ୍ତି ବୋଲି ଆଜି ବିଜେପିରୁ ଇସ୍ତଫା ଦେଇଥିବା ବରିଷ୍ଠ ନେତା ସୁବାସ ଚୌହାନ ସିଧାସଳଖ ଅଭିଯୋଗ କରିଛନ୍ତି। ଟିକଟ ବଣ୍ଟନ ମାମଲାରେ ପଶ୍ଚିମ ଓଡିଶାର ସଂଘ ଦାୟିତ୍ବରେ ଥିବା ଜଣେ ଅବସରପ୍ରାପ୍ତ ଅଧ୍ୟାପକ, ବିଜେପି ଭିତରେ ଥିବା ସଂଘର ପୁରୁଣା କର୍ମକର୍ତ୍ତାଙ୍କ ବିରୋଧରେ ଷଡଯନ୍ତ୍ର ରଚନା କରୁଥିବାର ଗୁରୁତର ଅଭିଯୋଗ ଶ୍ରୀ ଚୌହାନ ଆଣିଛନ୍ତି। ସଂପୃକ୍ତ ଅଧ୍ୟାପକ ଓ ସଂଘ କର୍ମକର୍ତ୍ତାଜଣକ ନିଜର ଦୁର୍ନୀତି ପାଇଁ ବେଶ ଜଣାଶୁଣା ହୋଇଥିବାବେଳେ ତାଙ୍କୁ ଏବେ ବିଜେପିର ଅନେକ ଗୁରୁତ୍ୱପୂର୍ଣ୍ଣ କଥା ବୁଝିବାଲାଗି ପୂର୍ଣ୍ଣ ସ୍ଵାଧୀନତା ଦିଆ ଯାଇଛି। ସେହି ଅଧ୍ୟାପକ ଜଣକ ଜଣେ ଅହଙ୍କାରୀ କେନ୍ଦ୍ରମନ୍ତ୍ରୀଙ୍କ ହାତବାରିସି ସାଜି ରାଜ୍ୟ ସଙ୍ଗଠନକୁ ତଳି ତଳାନ୍ତ କରି ଚାଲିଛନ୍ତି ବୋଲି କୁହାଯାଉଛି। ଆଜି ଭାରତୀୟ ଜନତା ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ସମୀକ୍ଷା ଡଟ କମ କୁ ଏକ ସ୍ଵତନ୍ତ୍ର ସାକ୍ଷାତ୍କାର ଦେଇ ଶ୍ରୀ ଚୌହାନ କହିଛନ୍ତି ଯେ ଦଳ ପାଇଁ ଯେଉଁମାନେ ନିଜର ଜୀବନ ସମର୍ପିତ କରିଥିଲେ ସେମାନେ ଆଜି ଦଳ ଭିତରେ ପ୍ରଚୁର ନିର୍ଯାତନା ଓ ଉପେକ୍ଷା ଭୋଗୁଛନ୍ତି।
ଦଳ ଏବେ ଜଣେ ବ୍ୟକ୍ତିର ଅହଂକାର ଆଗରେ ମୁଣ୍ଡ ଝୁଙ୍କାଇ ଠିଆ ହୋଇଛି ବୋଲି ଶ୍ରୀ ଚୌହାନ ଯେଉଁ ଅଭିଯୋଗ କରିଛନ୍ତି, ତାହାକୁ ଦଳର ବହୁ ପୁରୁଣା କର୍ମକର୍ତ୍ତା ସମର୍ଥନ କରିଛନ୍ତି। ଶ୍ରୀ ଚୌହାନଙ୍କ ପରି ବହୁ ପୁରୁଖା ବିଜେପି କର୍ମୀ ଏବେ ଦଳ ବିରୋଧରେ ଓ ସଂଘ ଭିତରେ ଚାଲିଥିବା ପ୍ରିୟା ପ୍ରୀତି ତୋଷଣ ବିରୋଧରେ ମୁହଁ ଖୋଲିଛନ୍ତି। ଏବେ ସୋସିଆଲ ମିଡିଆରେ ସଂଘ ପରିବାରର ବହୁ ପୁରୁଣା କର୍ମୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଖୋଲାଖୋଲି ଯୁଦ୍ଧ ଘୋଷଣା କରିଛନ୍ତି। ୨୦୧୯ ନିର୍ବାଚନରେ ଦଳର ଯେଉଁ ୧୨୦+ ମିଶନ ଥିଲା ତାହା କେବଳ ବାହାନା ମାତ୍ର। ଏବେ ଦଳ ଆତ୍ମହତ୍ୟା କରିବା ପାଇଁ ନିଜକୁ ପ୍ରସ୍ତୁତ କରି ସାରିଛି ବୋଲି ଏମାନେ କହିଛନ୍ତି।
ଦଳର ପୁରୁଣା କର୍ମୀ ଓ ନେତା ଏବେ ବିଜେପିର ହାତ ଛାଡୁଥିବା ବେଳେ ବିଜେପି ଅଧିକରୁ ଅଧିକ ଅମଲାଙ୍କ ଉପରେ ନିର୍ଭର କରୁଛି। ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ରାତାରାତି ବିଜେପିରେ ଯୋଗ ଦେଇ ଟିକଟ ପାଇବା ଦଳର କି ଉପକାରରେ ଲାଗିବ ବୋଲି ଏବେ ପ୍ରଶ୍ନ ଉଠା ଯାଉଛି। ସରକାରରେ ଥିବାବେଳେ ସବୁ ସୁଖ ସୁବିଧା ଉପଭୋଗ କରିଥିବା ଅମଲାମାନେ ଦଳୀୟ ସଂଗଠନ ଉପରେ କେବଳ ବୋଝ ହେବେ ବୋଲି କର୍ମୀମାନେ ଯାହା କହୁଛନ୍ତି, ତାହାର ଯଥେଷ୍ଟ ସତ୍ୟତା ରହିଛି। ଗୋଟେ ପକ୍ଷରେ ବିଜେପି ଓଡିଶାର ବିଜେଡି ସରକାର କୁ ଅମଲାଙ୍କ ଦ୍ଵାରା ନିୟନ୍ତ୍ରିତ ଏକ ସରକାର ବୋଲି ଆକ୍ଷେପ କରୁଛି, କିନ୍ତୁ ଅପର ପକ୍ଷରେ ଦଳ ଡାକିହାକି ଦଳ ବାହାରୁ ଅମଲା ଓ ବାବୁମାନଙ୍କୁ ଟିକଟ ବାଣ୍ଟୁଛି। ଏହା ବିଜେପିର ଚରମ ଅପାରଗତା ଓ ନିଜ ସଂଗଠନ ଉପରେ ଦଳର ଯେ ଆସ୍ଥା ନାହିଁ, ସେକଥା ପ୍ରମାଣିତ ହୋଇ ଯାଉଛି।
ବିଜେପିର ଟିକଟ ବଣ୍ଟନ ପ୍ରକ୍ରିୟାରୁ ଏମିତି ମନେ ହେଉଛି ଯେ, ସତେକି ବିଜେପି ବିଜେଡି ପାଖରେ ନିଜକୁ ସମର୍ପଣ କରି ଦେଇଛି। କେବଳ ଟେଲିଭିଜନ ପର୍ଦ୍ଦାରେ ନବୀନଙ୍କ ବିରୋଧରେ ଗର୍ଜନ ତର୍ଜନ କରିବା ବ୍ୟତୀତ ବିଜେପି ବାକି ସବୁ କ୍ଷେତ୍ରରେ ନବୀନଙ୍କୁ ସୁହାଇଲା ଭଳି କାମ କରୁଛି ବୋଲି ଏବେ ଅଭିଯୋଗ ଆସିଲାଣି। ପଶ୍ଚିମ ଓଡିଶା ଲାଗି ବିଜେପିର ପ୍ରାର୍ଥୀ ଚୟନ ପ୍ରକ୍ରିୟାରୁ ଏହା ଏକ ପ୍ରକାର “ନିର୍ବାଚନ ଫିକ୍ସିଙ୍ଗ” ବୋଲି ଜଣେ ବିଜେପି କର୍ମକର୍ତ୍ତା କହିଛନ୍ତି। ଉପରେ ଉପରେ ନବୀନ ବିରୋଧୀ ବୈଜୟନ୍ତ ପଣ୍ଡା ଓ ଦାମୋଦର ରାଉତ ମାନଙ୍କୁ କେବଳ ନାଟକ ପାଇଁ ବ୍ୟବହାର କରାଯାଉଛି। ଠିକଣା ସମୟରେ ଏମାନଙ୍କୁ ମଧ୍ୟ ଫୋପାଡି ଦିଆଯିବ ବୋଲି ଆଶଙ୍କା ପ୍ରକାଶ ପାଇଛି।
ଇତି ମଧ୍ୟରେ ଜାତୀୟ ସ୍ତରର ରାଜନୀତି ଦ୍ରୁତ ଗତିରେ ବଦଳୁଛି। ହିନ୍ଦୀ ଭାଷାଭାଷି ଅଞ୍ଚଳରେ କଂଗ୍ରେସ ବିରୋଧରେ ଯେତେ ପ୍ରଚାର କଲେ ମଧ୍ୟ ଏହି କ୍ଷେତ୍ରରେ ବିଜେପିର ପ୍ରଦର୍ଶନ ୨୦୧୪ର ସମକକ୍ଷ ହେବନାହିଁ। ତେଣୁ ଚନ୍ଦ୍ରଶେଖର ରାଓଙ୍କ ତେଲେଙ୍ଗାନା ରାଷ୍ଟ୍ର ସମିତି ଓ ନବୀନଙ୍କ ବିଜୁ ଜନତା ଦଳ ଉପରେ ମୋଦୀ ସରକାରର ଭବିଷ୍ୟତ ଅନେକାଂଶରେ ନିର୍ଭର କରିବ। ନବୀନଙ୍କ ନିର୍ବାଚନୀ କୌଶଳ ଓ ଲୋକପ୍ରିୟତା ଆଗରେ ରାଜ୍ୟ ବିଜେପି ସ୍ପର୍ଦ୍ଧା ର ସହିତ ଠିଆ ହୋଇ ପାରୁନାହିଁ। ତେଣୁ ଜାଣିଶୁଣି ବିଜେପି ନିଜକୁ ଦୁର୍ବଳ କରୁଛି ବୋଲି ଏକ ଭିନ୍ନମତ ଏବେ ଗଢି ଉଠୁଛି। ଦୁର୍ବଳ ପ୍ରାର୍ଥୀ ଚୟନ କରି ସମ୍ବଲପୁର, ବରଗଡ, କଳାହାଣ୍ଡି, କନ୍ଧମାଳ ଓ ପୁରୀ ଭଳି ଲୋକସଭା ଆସନକୁ ଦଳ ଆରମ୍ଭରୁ ହାତଛଡା କରି ସାରିଛି।
ବିଜେପି ବୋଧେ ଏହି ନିର୍ବାଚନକୁ ଆଉ ଗୁରୁତ୍ଵ ଦେଇ ଲଢିବାକୁ ଚାହୁନି ବୋଲି ବିଜେପିର ବହୁ ପୁରୁଣା କର୍ମକର୍ତ୍ତା ଏବେ ପ୍ରଶ୍ନ ଉଠାଇବା ଆରମ୍ଭ କଲେଣି।