Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ରାଜ୍ୟରେ ନିର୍ମାଣ ହେବ ୩ଟି ନୂଆ ବୃହତ୍ ସେତୁ

ଭୁବନେଶ୍ବର: ରାଜ୍ୟରେ ୩ଟି ବୃହତ ସେତୁ ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ମୁଖ୍ୟମନ୍ତ୍ରୀ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ବରଗଡ ଜିଲ୍ଲାରେ ନିର୍ମାଣ ହେବ। ଏହାଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।

ସେହିପରି ବରଗଡ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ ଜିଲ୍ଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

Categories
ଆଜିର ଖବର ରାଜ୍ୟ ଖବର

ବରଗଡରେ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ସେହିପରି ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଏଥିରେ ରହିଛି – ୨୦୯୦ କୋଟି ଟଙ୍କାର ଗୁରୁତ୍ବପୂର୍ଣ୍ଣ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ । ଏହି ପ୍ରକଳ୍ପ ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ ଏବଂ ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Categories
ବିଶେଷ ଖବର ରାଜ୍ୟ ଖବର

ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବରଗଡ ହେଉଛି ମା ଲକ୍ଷ୍ମୀଙ୍କ ପବିତ୍ର ଭୂମି । ଓଡିଶାର ଭାତ ହାଣ୍ଡି । ବରଗଡର ବୁଣାକାର ମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି କହିଲେ ଯେ ଚାଷୀଙ୍କ ପରି ବରଗଡର ବୁଣାକାର ମଧ୍ୟ ସାରା ବିଶ୍ବକୁ ସମ୍ବଲପୁରୀ ଶାଢୀ ଉପହାର ଦେଇଛନ୍ତି । ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ ବୋଲି ସେ କହିଥିଲେ । ବରଗଡ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଉପକାର ପାଇବେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଏମ୍ ପି.ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା
ଶ୍ରୀମତୀ ରୀତା ସାହୁ,ଶ୍ରୀମତ ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ ଉଦ୍ ବୋଧନ ଦେଇ ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ଆଲୋକପାତ କରିଥିଲେ। ଯେଉଁଭଳି ଦୂରଦର୍ଶିତାର ପରିଚୟ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ସ୍ମାର୍ଟ କାର୍ଡ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ସେଭଳି ବ୍ୟବସ୍ଥା ଭାରତବର୍ଷରେ ଆଉ କେଉଁ ଠାରେ ନାହିଁ ବୋଲି ସେମାନେ କହିଥିଲେ । ଏହି ଯୋଜନା ଗରିବ ଲୋକଙ୍କର, ବିଶେଷ କରି ମହିଳା ମାନଙ୍କର ଏକ ବଡ ଚିନ୍ତା ଦୂର କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ସ୍ବାଗତ ଭାଷଣ ଦେଇଥିଲେ । ମନ୍ତ୍ରୀ ଶ୍ରୀ ନିରଞନ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ।