ବାଣପୁର-ବାଲୁଗାଁରେ ଚଢା ଦରରେ ବିକ୍ରି ହେଉଛି ପରିବା, ଖାଉଟି ହନ୍ତସନ୍ତ, ପ୍ରଶାସନର ନାହିଁ ଲଗାମ

Published: Jul 2, 2023, 2:06 pm IST

ସୀତାରାମ ଅଗ୍ରୱାଲ

ଚିଲିକା: ଶ୍ରାବଣ ମାସ ଆସିବାକୁ ଆଉ ଦିନ କେଇଟା ବାକି ଅଛି। ହେଲେ ଏହା ପୂର୍ବରୁ ପରିବା ଦର ଆକାଶ ଛୁଆଁ ହୋଇଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ବାଲୁଗାଁ ବଜାରରେ ପରିବା ଦର ନାହିଁ ନଥିବା ମୂଲ୍ୟରେ ବିକ୍ରି ହେଉଛି। ଖାଉଟିମାନେ କେଉଁ ପରିବା କେତେ ପରିମାଣର ନେବେ ଦ୍ଵନ୍ଦରେ ପଡୁଥିବା ଦେଖାଯାଇଛି।

ଆଗରୁ କେବଳ ଟମାଟ ଦର ୧୨୦ ଟଙ୍କା ଥିବାବେଳେ ଏବେ ପ୍ରାୟ ସବୁ ପନିପରିବା ଦର ଆକାଶଛୁଆଁ। ବଜାରରେ ପୋଟଳ ୧୦୦ ଟଙ୍କା, ବିନସ ୨୦୦ ଟଙ୍କା, କଲରା ୮୦ ଟଙ୍କା, ଜହ୍ନି ୮୦ଟଙ୍କା, ବାଇଗଣ ୬୦ ଟଙ୍କା ଥିବାବେଳେ ମଧ୍ୟବିତ୍ତ ପରିବାର ବଜାରରୁ ପରିବା କିଣିବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି।

ପରିବା ବ୍ୟବସାୟୀଙ୍କ କହିବା ମୁତାବକ ସ୍ଥାନୀୟ ଫସଲ ନ ଥିବା କାରଣରୁ, ମାତ୍ର ଶତକଡା ୨୫ ଭାଗ ପନିପରିବା ସ୍ଥାନୀୟ ଫସଲରୁ ଆସୁଛି। ତେଣୁ ଲୋକଙ୍କ ଚାହିଦା ଅନୁଯାୟୀ ପନିପରିବା ନିମନ୍ତେ ବାହାର ରାଜ୍ୟ ଉପରେ ନିର୍ଭର କରିବାକୁ ପଡୁଛି। ପ୍ରଚଣ୍ଡ ଗ୍ରୀଷ୍ମ ପାଇଁ ଚଳିତ ବର୍ଷ ଚାଷୀମାନେ ପରିବା ଫସଲ କରିପାରି ନାହାନ୍ତି। ତେଣୁ ଆଗାମୀ ଦିନରେ ବର୍ଷାହେଲେ ପରିବା ଦର କମିବାର ଆଶା ରଖିଛନ୍ତି ବ୍ୟବସାୟୀ।

ସେପଟେ ପନିପରିବା ଦର ଉପରେ ପ୍ରଶାସନ କୌଣସି ଅଙ୍କୁଶ ଲଗାଇବାର ନିୟମ ନ ଥିବାରୁ ଲାଭଖୋର ବ୍ୟବସାୟୀ ମାନେ ଏହାର ଫାଇଦା ନେଉଛନ୍ତି ବୋଲି ଗ୍ରାହକ ଅଭିଯୋଗ କରିଛନ୍ତି।

Related posts